କାଳବୈଶାଖୀ :୧୦ ଜିଲ୍ଲାରେ ୩୦-୪୦ କିମି ବେଗରେ ବୋହିବ ପବନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :-ଆଗାମୀ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ବୋହିପାରେ । ସେହିପରି ଏହି ସମୟ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ଉତ୍ତର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୯ ଓ ୨୬ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ଅଛି । ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୪୪ ଡିଗ୍ରି ସେଲସିୟସ ଝାରସୁଗୁଡ଼ା ଠାରେ ରେକର୍ଡ କରାଯାଇଥିଲା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ସେଲସିୟସ ନୟାଗଡ଼ ଓ ଛତ୍ରପୁରରେ ରେକର୍ଡ କରା ଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ