ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୪ ପାଳିତ

ବାଲେଶ୍ୱର,(ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୪ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତି, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗ ଦେଇଥିବା ବେଳେ ବାଲେଶ୍ୱର ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ନୀଳଗିରି ଉପଜିଲ୍ଲାପାଳ ଶ୍ରୀମତୀ ଶୁଭଶ୍ରୀ ରଥ, ଆଇ.ଏ.ଏସ ପ୍ରୋବେସନର ଶ୍ରୀ ଦୁଧାଲ ଅଭିଷେକ ଦିଲ୍ଲୀପ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼. ଗୋପୀନାଥ ପରିଡା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ I ସଭା ପ୍ରାରମ୍ଭରେ ଦୃଷ୍ଟିହୀନ ନିମନ୍ତେ ବିଦ୍ୟାଳୟ, ରାଣୀପାଟଣାର ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ ଏବଂ ଏହା ପରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଭାକୁ ଆନୁଷ୍ଠାନିକ ଭାବେ ଆରମ୍ଭ କରାଯାଇଥିଲା I ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ଜିଲ୍ଲାପାଳ ଶ୍ରୀ ବିକାଶ ମତପ୍ରକାଶ କରିଥିଲେ I କାର୍ଯ୍ୟକ୍ରମର ପରିଚାଳନା କରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିଭା ବେହେରା ଭିନ୍ନକ୍ଷମଙ୍କ କଲ୍ୟାଣ ନିମନ୍ତେ ଜିଲ୍ଲାରେ ଚାଲିଥିବା ଯୋଜନା ଉପରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ Iରାଜ୍ୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଞ୍ଚସ୍ଥ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ ଏବଂ ଏଥି ସହିତ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୪ ଉପଲକ୍ଷେ ବିଭିନ୍ନ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର ବିଜେତା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା I ପରିଶେଷରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ