ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳିତ ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଜିଲ୍ଲାପାଳ

ମାଲକାନଗିରି,(ଡଃ ଶିବ ନାରାୟଣ ପାତ୍ର): ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଗୌରବମୟ ଉତ୍ସବରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭରେ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅତିଥିମାନେ ଓଡ଼ିଶା ଗଠନର କର୍ଣ୍ଣଧାର ତଥା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ କହିଥିଲେ,ଓଡ଼ିଶାର ଏହି ପବିତ୍ର ମାଟି ହେଉଛି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର, ଯାହା ନିଜର ବିଶାଳ ହୃଦୟରେ ସମସ୍ତଙ୍କୁ ଆପଣେଇ ନେବାର ଅପୂର୍ବ ସାମର୍ଥ୍ୟ ରଖେ। ଓଡ଼ିଆ ଭାଷାର ମାଧୁର୍ଯ୍ୟ ଓ ଶ୍ରେଷ୍ଠତ୍ୱ ଅନନ୍ୟ। ନିଜର ବ୍ୟକ୍ତିଗତ ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ମାତୃଭୂମିର ସେବା ଓ ଉନ୍ନତି ପାଇଁ ସଙ୍କଳ୍ପବଦ୍ଧ ହେବାକୁ ଜିଲ୍ଲାପାଳ ମହୋଦୟ ଛାତ୍ରଛାତ୍ରୀମାନଙ୍କୁ ଦୀପ୍ତିମନ୍ତ ଆହ୍ୱାନ ଦେଇଥିଲେ।ଉତ୍ସବରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ଏବଂ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଉପସ୍ଥିତ ଥିଲେ। ଅତିଥିମାନେ ନିଜ ଅଭିଭାଷଣରେ କହିଥିଲେ ଯେ, ଭାଷା ଭିତ୍ତିରେ ଗଠିତ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ସ୍ୱାଭିମାନକୁ ବଜାୟ ରଖିବା ପ୍ରତ୍ୟେକ ଓଡ଼ିଆଙ୍କ କର୍ତ୍ତବ୍ୟ।ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ବରପୁତ୍ରମାନଙ୍କ ଭୂମିକା ଅତୁଳନୀୟ। ସେମାନଙ୍କ ସ୍ୱପ୍ନର ଓଡ଼ିଶା ଗଠନ କରିବା ପାଇଁ ଆମକୁ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ହେବ। ବିଶେଷ କରି ଯୁବପିଢ଼ି ଓଡ଼ିଶାର କଳା, ସଂସ୍କୃତି ଓ ଭାଷାର ସୁରକ୍ଷା ପାଇଁ ସଂକଳ୍ପବଦ୍ଧ ହେବା ଆବଶ୍ୟକ।
ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀର ସଦସ୍ୟମାନେ ମଧ୍ୟ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସମଗ୍ର କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଭାଗୀୟ କର୍ମଚାରୀ ହରେକୃଷ୍ଣ କୀର୍ତ୍ତନିଆ ଓ ରଞ୍ଜନ ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ