ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

ବାଲେଶ୍ୱର,(ଓ୍ବାଇଏନ୍ଏସ୍): ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୧୫୦ତମ ଗାନ୍ଧୀ ଜୟନ୍ତୀ ଆଜି ପୂର୍ବାହ୍ନ ୧୦ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ କେ.ସୁଦର୍ଶନ ଚକ୍ରବର୍ତୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ଏଥି ସହିତ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ନାୟକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରବୀନ୍ଦ୍ର କୁମାର ସାହୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମହାତ୍ମା ଗାନ୍ଧୀ ଓ ଲାଲ ବାହଦୂର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଅନନ୍ତ ସେଠୀଙ୍କ ତତ୍ୱାବଧାନରେ ଆୟୋଜିତ ଆଜିର କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରିଥିଲେ । ସ୍ଥାନୀୟ ଶହୀଦ ପାର୍କ ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତିରେ ଆଜି ସକାଳେ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ପୁରୁଷୋତମ ସେଠୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ । ସୂଚନା ଯୋଗ୍ୟ ଯେ କୋଭିଡ-୧୯ କଟକଣା, ଉପ-ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଏବଂ ସରକାରୀ ନିର୍ଦ୍ଦେଶନାମାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ନିରାଡମ୍ବର ଭାବେ ଗାନ୍ଧୀ ଜୟନ୍ତୀ ପାଳନ ନିମନ୍ତେ ନିଷ୍ପତି ଗ୍ରହଣ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ