ବ୍ରହ୍ମପୁରରେ ଦୁଇଟି ୧୫୦ ବିଶିଷ୍ଠ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ

ବ୍ରହ୍ମପୁର, (ରାଜେଶ କୁମାର ପଟ୍ଟନାୟକ):ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫେରେନ୍ସ ଜରିଆରେ ବ୍ରହ୍ମପୁରରେ ପୃଥକ ପୃଥକ ଭାବେ ଦୁଇଟି ୧୫୦ ବିଶିଷ୍ଠ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। କିନ୍ତୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତ୍ତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ନିବେଦନ କରିଛନ୍ତି । ଗହଳି ନ ଯିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ କହିଲେ ଯେ ଅନଲକ-୧ ପରେ ଦେଶର ହଟସ୍ପଟ ଅଞ୍ଚଳରୁ ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି। ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସରକାର ସବୁପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ। ବ୍ରହ୍ମପୁରର ଏହି ଦୁଇଟି ହସ୍‌ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଂଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାସଂଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା ଯୋଗ ଦେଇଥିଲେ । ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ । ବ୍ରହ୍ମପୁର ମ୍ୟୁନିସ୍‌ପାଲ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।ସୂଚନାଯୋଗ୍ୟ ଯେ ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍‌ କଟକର ଅଶ୍ବିନୀ ହସ୍‌ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍‌ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି ICU ବେଡ୍ ରହିଛି। ସେହିପରି ଏମକେସିଜି ହସ୍ପିଟାଲ ର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍‌ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ICU ବେଡ୍ ଅଛି। ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍‌ପିଟାଲରେ ଚିକିତ୍ସା ଜାରି ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ