ଶ୍ରୀ ଜିୟୁ ମାନଙ୍କ ଅଣସର ସମୟରେ ପଟ୍ଟିଦିଅଁ ଉପାସନା
ସନ୍ତୋଷ କୁମାର ଦାଶ
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ପୁରୀ ଶ୍ରୀ ମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ଜରରେ ପୀଡ଼ିତ ହୋଇ ପଡୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି ସମୟକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ସ୍ନାନମଣ୍ଡପ ରେ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ଙ୍କ ଉପରେ ସୁନାକୂଅ ର ଅଧିବାସ ହୋଇ ରହିଥିବା ୧୦୮ ଗରା ଶୁଦ୍ଧ ଜଳ ଢଳା ହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପ ଖେଳିବା ପରେ ଶ୍ରୀଜୀଉ ମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଥାଏ ବୋଲି ବିଶ୍ୱାସ ରହିଛି। ଜ୍ୱର ହେବାପରେ ଶ୍ରୀଜୀଉ ମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକ ମାନେ ଠାକୁରମାନଙ୍କୁ ଅଣସର ଘର କୁ (ଜଗନ୍ନାଥ ମନ୍ଦିର ର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁ ଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପରିକ ଉପାୟ ରେ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁ ଙ୍କ ବଂଶଧର ମାନେ ସେବାକାର୍ଯ୍ୟ କରିଥାନ୍ତି। ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣ ମାନଙ୍କ ସେବା ୧୧ ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ ହୋଇଥାଏ। ଅଣସର ସେବା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଏ। ଅଣସର ସମୟ ରେ ଗର୍ଭଗୃହ ରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁ ମାନଙ୍କୁ ପୂଜା କରାଯାଇଥାଏ। ବଡ଼ ଠାକୁର ଶ୍ରୀ ବଳଭଦ୍ର ଙ୍କ ପଟିଦିଅଁ ଭାବେ ବାସୁଦେବ, ଦେବୀ ସୁଭଦ୍ରା ଙ୍କ ପଟିଦିଅଁ ଭାବେ ଯାଜ୍ଞସେନୀ ବା ଭୁବନେଶ୍ୱରୀ ଓ ଶ୍ରୀ ଜଗନ୍ନାଥ ଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇଥାନ୍ତି।ତେବେ ଦାରୁ ଦେବତା ମାନେ ରତ୍ନ ସିଂହାସନରେ ଯେଉଁ ରୂପରେ ପୂଜା ପାଆନ୍ତି ପଟ୍ଟଚିତ୍ର ଗୁଡ଼ିକ ସେହି ଆକୃତିର ନୁହେଁ । କାଷ୍ଠ ନିର୍ମିତ ସୁଦୃଶ୍ୟ ଆସରେ ବସିଥିବା ପରି ଅଙ୍କିତ ହୋଇଥିବା ଚିତ୍ରରେ ସମସ୍ତ ଦିଅଁ ଚତୁଃହସ୍ତ ଓ ଦୁଇପଦ ବିଶିଷ୍ଟ ହୋଇ ପଦ୍ମାସନରେ ବସିଥାଆନ୍ତି । ବଳଭଦ୍ରଙ୍କ କଳେବର ଶ୍ୱେତବର୍ଣ୍ଣରେ ଚିତ୍ରିତ ହେଇଥାଏ । ଚତୁଃହସ୍ତରେ ସେ ଧରିଥାଆନ୍ତି ଶଙ୍ଖ, ଚକ୍ର, ଗଦା ଓ ହଳ । ହରିଦ୍ର ବର୍ଣ୍ଣା ସୁଭଦ୍ରା ଦୁଇ ଉର୍ଦ୍ଧ୍ୱ ହସ୍ତରେ ପଦ୍ମ ଧରିଥାଆନ୍ତି ଓ ନିମ୍ନ ହସ୍ତ ଦୁଇଟି ଥାଏ ବରଦା ମୁଦ୍ରାରେ । କଳା ରଙ୍ଗ ରେ ଚିତ୍ରିତ ଶ୍ରୀ ଜଗନ୍ନାଥ ଚାରି ହାତ ରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧରିଥାଆନ୍ତି । ସମସ୍ତ ଦେବତାଙ୍କ ପୃଷ୍ଠପଟ୍ଟ ଗାଢ଼ନାଲି ରଙ୍ଗ ହୋଇ ଥାଏ ।ଅଣସର ପଟି ତିନୋଟିକୁ ବଂଶାନୁକ୍ରମେ କେତେକ ଚିତ୍ରକର ଖୁବ ଭକ୍ତି ଓ ନିଷ୍ଠାର ସହିତ ପ୍ରସ୍ତୁତ କରିଥାଆନ୍ତି । ଚିତ୍ର କରିବା ସମୟ ତକ ସେମାନେ ନିରାମିଷ ଭୋଜନ ଗ୍ରହଣ କରିଥାନ୍ତି। ପଟ୍ଟଚିତ୍ର କାମ ଚାଲିଥିବା କୋଠରୀକୁ ସ୍ତ୍ରୀ ଲୋକଙ୍କ ପ୍ରବେଶ ନିଷେଧ ଥାଏ । ଚିତ୍ର ପାଇଁ ଆବଶ୍ୟକ ଧଳାରଙ୍ଗ ଶଙ୍ଖ ରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ନିମନ୍ତେ ପୋଲାଙ୍ଗ ତେଲ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ । ସ୍ନାନ ପୂର୍ଣ୍ଣିମା ଦିନ ଗଭୀର ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟ୍ଟିଗୁଡ଼ିକୁ ମନ୍ଦିରକୁ ବିଜେ କରାଇଥାନ୍ତି। ଆଷାଢ଼ ପ୍ରତିପଦାରୁ ଅମାବାସ୍ୟା ଯାଏଁ ଏକ ପକ୍ଷ ବ୍ୟାପି ଏହି ପଟି ଦେବତାଙ୍କ ଆଗରେ ଭୋଗ ବଢ଼ାଯାଏ । ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରା ଯାଉଥିବାବେଳେ ପଟିଦିଅଁଙ୍କୁ ଅନ୍ନଭୋଗ ଲାଗି କରା ଯାଇଥାଏ । ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତ ମାନେ ସାତଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ରଖନ୍ତି । ବଳଭଦ୍ରଙ୍କ ଆସ୍ଥାନ ସମୀପରେ ରାମ, ନୃସିଂହ ଓ ଦୋଳଗୋବିନ୍ଦ ଙ୍କ ବିଗ୍ରହ ରହେ। ସୁଭଦ୍ରାଙ୍କ ସମୀପରେ ରହେ ଲକ୍ଷ୍ମୀ ଓ ସରସ୍ୱତୀଙ୍କ ପିତୁଳା ଦ୍ୱୟ । ଶ୍ରୀ ଜଗନ୍ନାଥଙ୍କ ସମ୍ମୁଖରେ ରହେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି । ଏହି ସମୟରେ ଜଗନ୍ନାଥ ଙ୍କ ସ୍ଥାନରେ ଭକ୍ତ ମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି । ଶ୍ରୀ ଅଲାରନାଥ ଙ୍କୁ ଅଣସର ସମୟରେ ଦର୍ଶନ କଲେ
ଶ୍ରୀ ଜଗନ୍ନାଥ ଙ୍କ ଦର୍ଶନ ର ପୂଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।
ଜୟ ଜଗନ୍ନାଥ ସ୍ଵାମୀ।
ତୁଳସୀପୁର। ପୁରୀ।
୯୪୩୯୩୬୧୮୮୮।