ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ଆଭାସୀ ମାଧ୍ୟମରେ ସମୀକ୍ଷା ବୈଠକ
ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ପାଇଁ ଜାରି କରାଯାଇଥିବା ସମ୍ଭାବ୍ୟ ବର୍ଷା ଓ ବନ୍ୟା ସତର୍କକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି Iଏଥି ନିମନ୍ତେ, ସମ୍ବେଦନଶିଳ ତହସିଲ, ବ୍ଲକ ଏବଂ ଗ୍ରାମ ପଂଚାୟତ ପାଇଁ ଜିଲ୍ଲା ପ୍ରଶାସନ ପର୍ଯ୍ୟାପ୍ତ ପରିମାଣରେ ପୂର୍ବ ବ୍ୟବସ୍ଥା କରିଥିବା ସହ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସମ୍ଭାବିତ ବନ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସମସ୍ତ ଆବଶ୍ୟକ ସ୍ଥଳେ ସ୍କୁଲ ଏବଂ କଲେଜ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇପାରେ ବୋଲି ସୂଚିତ କରିଛନ୍ତି ।ଆବଶ୍ୟକସ୍ଥଳେ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ। ସମସ୍ତ ବିଡ଼ିଓ, ତହସିଲଦାର ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ଗୁଡିକରେ ସ୍ଥାନାନ୍ତର ପାଇଁ ସମସ୍ତ ଯଥୋଚିତ ପଦକ୍ଷେପ ନେବା ପାଇଁ ଆଦେଶ ଦିଆଯାଇଛି ।ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ। ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ। ପ୍ରଭାବିତ ଅଞ୍ଚଳଗୁଡିକରେ ନିରାପଦ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି।ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ନିରଞ୍ଜନ ବେହେରା, ଉପଜିଲ୍ଲାପାଳ ବାଲେଶ୍ୱର ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ସାଇ କୃଷ୍ଣ ଜେନା, ସମସ୍ତ ବ୍ଲକ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।