୧୩ ଜିଲ୍ଲାକୁ କାଳବୈଶାଖୀ
ଭୁବନେଶ୍ୱର ( ୱାଇଏନ୍ଏସ୍): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ସୂଚନା ମତାବକ ଆଜି ଅପରାହ୍ନରୁ ଆସନ୍ତାକାଲି ବୁଧବାର ସକାଳ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି।


