୧୪ରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୧୪ ତାରିଖରୁ ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି । ଅପରପକ୍ଷେ ଆଜି (ଶୁକ୍ରବାର) ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ଆକଳନ କରିଛନ୍ତି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ପାଗ ଶୁଖିଲା ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ରହିବ । ସେହିପରି ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ମଧ୍ୟ ଆସନ୍ତା ୨-୩ଦିନ ପର୍ଯ୍ୟନ୍ତ କୁହୁଡ଼ି ରହିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି । ଶନିବାରଠୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରବିବାର ମଧ୍ୟ ଏସବୁ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲିଠୁ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ । ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ୧୩ ଓ ୧୪ ତାରିଖରେ ସ୍ୱଳ୍ପ ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି । ମାତ୍ର ଉପକୂଳ ଓଡ଼ିଶାରେ ଆସନ୍ତାକାଲି ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।