୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ – ଉତର ପଶ୍ଚିମ ଦିଗରେ ଘଂଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ୪୮ ଘଂଟା ମଧ୍ୟରେ ଏହା ଉତର ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ । ୨୪ ଘଂଟା ମଧ୍ୟରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୭ ଟି ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ବଲପୁର, ଦେବଗଡ, ଅନୁଗୁଳ, ସୁବର୍ଣ୍ଣପୁର, ଢେଙ୍କାନାଳ, ଝାରସୁଗୁଡା ଓ ବରଗଡ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବଲାଙ୍ଗିର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହିସବୁ ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡା, କଳାହାଣ୍ଡି, କନ୍ଧମାଳ ଗଂଜାମ, ନୟାଗଡ ଓ ମୟୁରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୧୪ ତାରିଖରୁ ୧୫ ତାରିଖ ମଧ୍ୟରେ ବରଗଡ, ଝାରସୁଗୁଡା ସୁନ୍ଦରଗଡ, ମୟୁରଭଂଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହିସମୟରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କିମି ରହିପାରେ । ସମୟ ସମୟରେ ୭୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ