ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୩ ପାଳିତ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ପରମିଟ୍ ପଡ଼ିଆଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୩ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତି, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଯୋଗ ଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ଜେନା ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ Iଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶୃତିବଦ୍ଧ I ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୂକ୍ତ କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ I ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ ନିଜର ବାର୍ତ୍ତା ରଖିଥିଲେ I କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା ଭିନ୍ନକ୍ଷମଙ୍କ କଲ୍ୟାଣ ନିମନ୍ତେ ଜିଲ୍ଲାରେ ଚାଲିଥିବା ଯୋଜନା ଯଥା ପେନ୍ସନ ଯୋଜନା, ବନିଶ୍ରୀ ଛାତ୍ରବୃତ୍ତି, ଛାତ୍ରଛାତ୍ରୀଙ୍କ ପାଇଁ ଲାପଟପ୍ ଆଦି ଉପରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ I ଏଠାରେ ସୂଚନା ଥାଉ କି, ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ- ୨୦୨୩ ପାଳନ ଅବସରରେ ସକାଳ ଘ. ୮.୩୦ ସମୟରେ ଏକ ସଚେତନତା ରାଲିର (ୱାକାଥନ୍) ଆୟୋଜନ କରାଯାଇଥିଲା I ଉଭୟ ସକ୍ଷମ ଓ ଭିନ୍ନକ୍ଷମ ଲୋକଙ୍କୁ ଅନ୍ତର୍ଭୁକ୍ତ କରି ଏହି ରାଲି କଲେକ୍ଟୋରେଟ୍ ପରିସରରୁ ଆରମ୍ଭ ହୋଇ ପରମିଟ୍ ପଡ଼ିଆ ଠାରେ ସମାପ୍ତ ହୋଇଥିଲା I ସେହି ଭଳି ପରମିଟ୍ ପଡ଼ିଆ ଠାରେ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ନିମନ୍ତେ ଅନେକ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା I ବରିଷ୍ଠ ସାମ୍ବାଦିକ ଶ୍ରୀ ସର୍ବେଶ୍ୱର ଦାସ ଓ ମଦର ଟେରେସା ସେବା ସଂଘଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା I ପରିଶେଷରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ