ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବାଲେଶ୍ୱର,(ଓ୍ବାଇଏନ୍ଏସ୍): ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୧ ପାଳନ ନିମନ୍ତେ ଆଜି ଅପରାହ୍ନରେ ସ୍ଥାନୀୟ ସଦଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ କେ.ସୁଦର୍ଶନ ଚକ୍ରବର୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କୋଭିଡ୍-୧୯ କଟକଣାକୁ ଦୃଷ୍ଟିରେ ରଖି ଓଡିଶା ସରକାରଙ୍କ ସ୍ୱରାଷ୍ଟ୍ର ବିଭାଗ ତରଫରୁ ଜାରି କରାଯାଇଥିବା ମାର୍ଗଦର୍ଶିକା ଅନୁଯାୟୀ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ନିଷ୍ପତି ନିଆଯାଇଥିଲା । ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ତରଫରୁ ସହରରେ ରାମଧୁନ ପରିବେଷଣ କରାଯିବ । ସକାଳ ଘ୭.୩୦ ମିନିଟ ସୁଦ୍ଧା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ କୋଭିଡ ନିୟମ ଅନୁପାଳନ ପୂର୍ବକ ଜାତୀୟ ପତାକା ଉତୋଳନ କରାଯିବ । ସ୍ଥାନୀୟ ପୋଲିସ ପଡିଆଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତୋଳନ କରିବେ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ସମାରୋହରେ କେବଳ ପୋଲିସ ବାହିନୀ ଅଂଶଗ୍ରହଣ କରିବେ । ସ୍କୁଲ, କଲେଜ ଛାତ୍ରଛାତ୍ରୀ, ଏନସିସି କ୍ୟାଡେଟ୍ ଏଥିରେ ଭାଗ ନେବେ ନାହିଁ । ସ୍ୱରାଷ୍ଟ୍ର ବିଭାଗର ମାର୍ଗଦର୍ଶିକା ଅନୁଯାୟୀ କୋଭିଡ ଯୋଦ୍ଧାଙ୍କ ସମେତ ସୀମିତ ସଂଖ୍ୟକ ଅତିଥିଙ୍କୁ ଏହି ସମାରୋହକୁ ନିମନ୍ତ୍ରଣ କରାଯିବ । ଅନ୍ୟ ଦର୍ଶକମାନଙ୍କୁ ପଡିଆ ମଧ୍ୟକୁ ଯିବା ପାଇଁ ଅନୁମତି ଦିଆଯିବ ନାହିଁ । କୋଭିଡ କଟକଣା ଅନୁଯାୟୀ ପଡିଆ ମଧ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନଲାଇନ ପ୍ରବନ୍ଧ, କୁଇଜ୍ ପ୍ରତିଯୋଗିତା ଆୟୋଜନ କରିବା ନିମନ୍ତେ ସ୍ଥିରୀକୃତ ହୋଇଛି । ଏହି କାର୍ଯ୍ୟକ୍ରମ ନିମନ୍ତେ ବ୍ୟାରିକେଡିଂ, ମଂଚ ସଜ୍ଜା, ପରିମଳ, ଆଶୁ ଚିକିତ୍ସା, ଆଇନଶୃଙ୍ଖଳା, ପାନୀୟ ଜଳ, ଅତିଥି ବସିବା ସ୍ଥାନ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ସେହିପରି ବ୍ଲକ ଓ ପଂଚାୟତସ୍ତରରେ ସ୍ୱରାଷ୍ଟ୍ର ବିଭାଗର ମାର୍ଗଦର୍ଶିକାର ଅନୁପାଳନ କରି ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଆଜିର ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ନାୟକ, ପିଡି ଡିଆରଡିଏ ଶ୍ରୀ ରବୀନ୍ଦ୍ର କୁମାର ସାହୁ, ଅତିରିକ୍ତ ଏସ.ପି. ଶ୍ରୀ ଅମରେଶ କୁମାର ପାଣିଗ୍ରାହୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଳ ସେନ ଜଗଦ୍ଦେବ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବରିଷ୍ଠ ଅଧିକାରୀ ଯୋଗ ଦେଇ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।