ରାଜ୍ୟରେ ପୁଣି ଦୁଇ ଦିନ ବର୍ଷିା
ଭୁବନେଶ୍ବର : ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ। ଏହା ପ୍ରଭାବରେ ୧୨ ଓ ୧୩ତାରିଖରେ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ମତ୍ସ୍ୟଜୀବୀଙ୍କୁ ୧୨ରୁ ୧୪ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ତାରିଖ ଦିନ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ। ପୁରୀ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ବାଲେଶ୍ବର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


