ବାଲେଶ୍ୱର ଜିଲ୍ଲାରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ଅପରାହ୍ନ ଘ ୬ ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ବାନ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ, ନୀଳଗିରି ଉପଜିଲ୍ଲାପାଳ (ଭାରପ୍ରାପ୍ତ) ଶ୍ରୀମତୀ ଶୁଭଶ୍ରୀ ରଥ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (ଭାରପ୍ରାପ୍ତ) ତଥା ଡେପୁଟି କଲେକ୍ଟର ଶ୍ରୀମତୀ ଗାୟତ୍ରୀ ସୋରେନଙ୍କ ସମେତ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲାର ସମସ୍ତ ବିଡ଼ିଓ ଓ ତହସୀଲଦାରମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ । ମାନ୍ୟବର ପ୍ରଧାନମନ୍ତ୍ରୀ ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ଏହି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଏହି ଯୋଜନା ସଂପର୍କରେ ପ୍ରଥମେ ଭଲଭାବେ ବୁଝି କାର୍ଯ୍ୟକାରିତା ନେଇ ଜିଲ୍ଲାପାଳ ସମସ୍ତ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ ନପଡିବେ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । ଯୋଜନା ଅନୁସାରେ ପ୍ରତ୍ୟେକ ହିତାଧିକାରୀ ୫୦,୦୦୦ ଟଙ୍କାର ସହାୟତା ରାଶି ପ୍ରତି ବର୍ଷରେ ୧୦ ହଜାର କରି ୫ ବର୍ଷରେ ପାଇବେ । ପ୍ରତି ବର୍ଷ ୨ଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୧୦ ହଜାର ଟଙ୍କା ହିତାଧିକାରୀମାନଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରେରଣ କରାଯିବ । ହିତାଧିକାରୀମାନଙ୍କ ବୟସ ୨୧ ବର୍ଷ ବା ତଦୁର୍ଦ୍ଧ୍ଵ ଏବଂ ୬୦ ବର୍ଷରୁ କମ ହେଉଥିବ । ଆଧାର କାର୍ଡରେ ଉଲ୍ଲିଖିତ ବୟସ ଓ ଜନ୍ମତାରିଖ ବିଚାରକୁ ନିଆଯିବ । ଯୋଜନା ସଂପର୍କରେ ଏବଂ କେଉଁମାନେ ଏହି ଯୋଜନା ଅଧିନରେ ସହାୟତା ପାଇବାକୁ ଯୋଗ୍ୟ ଓ କେଉଁମାନେ ବାଦ ପଡୁଛନ୍ତି ସେ ସଂପର୍କରେ ବିଶଦ୍ ମାର୍ଗଦର୍ଶିକା ବିଷୟରେ ଅତିରିକ୍ତ ଜିଲ୍ଲାପାଳ ଆଲୋଚନା କରିଥିଲେ । ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ବଣ୍ଟନ କରାଯିବ । କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ ଏବଂ ସେଠାରେ ଏହାର ଡିଜିଟାଇଜେସନ ହେବ ଓ ଆବେଦନକାରୀମାନଙ୍କୁ ଫର୍ମ ଦାଖଲର ପ୍ରମାଣ ସ୍ୱୀକୃତିର ପ୍ରିଣ୍ଟ ମିଳିବ । ଆବେଦନକାରୀଙ୍କୁ କୌଣସି ସ୍ତରରେ ଏଥି ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । ହିତାଧିକାରୀମାନେ ସମସ୍ତେ ଯେପରି ସୁବିଧାରେ ଆବେଦନ କରିପାରିବେ, ସେଥିପାଇଁ ଯଥେଷ୍ଟ ସଂଖ୍ୟକ ଫର୍ମ ସୁବିଧା କରିବାକୁ ବିଡ଼ିଓ ଓ ତହସୀଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ ସ୍ତରରେ ବିଭିନ୍ନ ପ୍ରମୁଖ ସ୍ଥାନରେ ହୋଡିଂ, ବ୍ୟାନର ଆଦି ଲଗାଯିବା, ସାମାଜିକ ଗଣମାଧ୍ୟମ ଓ ସମ୍ବାଦପତ୍ର ତଥା ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ନିମନ୍ତେ ବୈଠକରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ