ସୁଦର୍ଶନ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକରେ ଚାଲିଛି ପାଠପଢା

ଆସିକା, (ଯୁଗାବ୍ଦ ନ୍ୟୁଜ):ଆସିକା ବ୍ଳକ ଅନ୍ତର୍ଗତ ଗଙ୍ଗାପୁର ଗ୍ରାମ ପଞ୍ଚାୟତର କିଶୋରଚନ୍ଦ୍ରପଲ୍ଲୀ ଗ୍ରାମରେ ଥିବା ଅନୁଦାନପ୍ରାପ୍ତ ସୁଦର୍ଶନ ଉଚ୍ଚବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟିରେ ଅନ୍ତର୍ଭୁକ୍ତ କରାଯାଇ ଗତ ଜାନୁୟାରୀ ମାସ ୧୧ ତାରିଖରେ ଉଦ୍‌ଘାଟନ କରାଯାଇଥିଲା । ଗୁଣାତ୍ମକ ଶିକ୍ଷାର ବାତାବରଣ ସୃଷ୍ଟି ପାଇଁ ଏହି ପୁରାତନ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ ହାଇସ୍କୁଲରେ ରୂପାନ୍ତରଣ କରାଯାଇଥିଲା । ଯେଉଁଠି ଇ. ପାଠାଗାର ସମେତ ସ୍ମାର୍ଟ କ୍ଳାସ୍‌ରୁମ୍‌, କ୍ରୀଡା, କମ୍ପ୍ୟୁଟର୍ ରୁମ୍‌, ଅତ୍ୟାଧୁନିକ ବିଜ୍ଞାନାଗାର, ରିଡିଙ୍ଗ ରୁମ୍‌, ପାନୀୟ ଜଳ, ସ୍ମାର୍ଟ ଶୌଚାଳୟ ସମେତ ବିଭିନ୍ନ ଆଧୁନିକ ସୁବିଧା ଉପଲବ୍ଧ ହୋଇଛି । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ବିଦ୍ୟାଳୟର ଆଧୁନିକୀକରଣ ହେଉଛି । ୧୯୮୪ମସିହାରେ ସ୍ଥାପିତ ହୋଇଥିବା ଆସିକା ବ୍ଳକ ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗ୍ରାମରେ ଥିବା ସରକାରୀ ଅନୁଦାନପ୍ରାପ୍ତ ସୁଦର୍ଶନ ଉଚ୍ଚବିଦ୍ୟାଳୟରେ ନବମରୁ ଦଶମ ଶ୍ରେଣୀରେ ୫୨ ଜଣ ବିଦ୍ୟାର୍ଥୀ ପାଠପଢୁଥିବା ବେଳେ ଏହି ପୁରାତନ ଶିକ୍ଷାନୁଷ୍ଟାନରେ ବିଜ୍ଞାନ, ଗଣିତ, କଳା, କମ୍ପ୍ୟୁଟର, ହିନ୍ଦୀ, ଖେଳ ଶିକ୍ଷକ ପଦବୀ ଖାଲି ପଡିଥିଲା ବେଳେ ସେ ଗୁଡିକ ପୂରଣ କରିବା ଦିଗରେ ଶିକ୍ଷାବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନଥିବା ଯୋଗୁଁ ସାଧାରଣରେ ତୀବ୍ର ଅସନ୍ତୋଷ ଓ ପ୍ରତିକ୍ରିୟା ପ୍ରକାଶ ପାଉଥିବା ଲକ୍ଷ୍ୟ କରାଯାଇଛି । ଏହି ପୁରାତନ ଶିକ୍ଷାନୁଷ୍ଟାନରେ ଆବଶ୍ୟକୀୟ ଶିକ୍ଷକ ନଥିବା ଯୋଗୁଁ ବିଦ୍ୟାର୍ଥୀ ମାନେ ଯୁଗପୋଯୋଗୀ ଓ ଅଧୁନିକ ଶିକ୍ଷା କିପରି ପାଇବେ ତାହା ସାଧାରଣରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ଲକ୍ଷ୍ୟ କରାଯାଇଛି ।ଏହି ପୁରାତନ ଶିକ୍ଷାନୁଷ୍ଠାନରେ ଜଣେ ମାତ୍ର ଶିକ୍ଷକରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଯାଉଥିବା ଦେଖିବାକୁ ମିଳୁଛି । ସୁଦର୍ଶନ ଉଚ୍ଚ ବିଦ୍ୟାଳୟରେ ଖାଲି ପଡିଥିବା ଶିକ୍ଷକ ପଦବୀ ପୂରଣ ଦିଗରେ ଶିକ୍ଷା ବିଭାଗ ପଦକ୍ଷେପ ନନେଇ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଛି ବୋଲି ସଚେତନ ନାଗରିକ ମହଲରେ ଆଲୋଚିତ ହେଉଛି । ରାଜ୍ୟ ସରକାର ଶିକ୍ଷାବିଭାଗ ପାଇଁ ଆଣୁଥିବା ବହୁ ପ୍ରକାର ପ୍ରୟାସକୁ ଏହି ପୁରାତନ ଶିକ୍ଷାନୁଷ୍ଟାନରେ ଅଣଦେଖା କରାଯାଉଥିବା ଅଭିଯୋଗ ରହିଛି । ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତି ଭୂମୀ ବୃଦ୍ଧି କରିବା ସହ ଉତ୍ତମ ଜ୍ଞାନ କୌଷଳରେ ପିଲାଙ୍କୁ ପାଠ ପଢାଇବାର ମହତ୍ ଉଦ୍ଦେଶ୍ୟ ରଖି ତତ୍କାଳୀନ ରାଜ୍ୟ ସରକାର ପ୍ରଚଳନ କରିଥିଲେ ରୂପାନ୍ତରିତ ୫-ଟି ବିଦ୍ୟାଳୟ । ଆସିକା ବ୍ଳକ ଓ ଏନଏସି ଅନ୍ତର୍ଗତ ୩୪ଟି ଉଭୟ ସରକାରୀ ଓ ବ୍ଳକ ଗ୍ରାଣ୍ଟ ଉଚ୍ଚ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯାଇସାରିଛି । ସରକାର ୫-ଟି ଅଧିନରେ କେତେକ ଉଚ୍ଚ ବିଦ୍ୟାଳୟ ଗୁଡିକୁ ରୂପାନ୍ତରିତ କରି ସ୍ମାର୍ଟ କରିବା ସହ ରୂପରେଖ ବଦଳାଇଲେ । ହେଲେ ବହୁ ସ୍ମାର୍ଟ ସ୍କୁଲ ବିଗତ କିଛି ଦିନ ହେଲା ନାନା ସମସ୍ୟା ଦେଇ ଗତି କରୁଥିବା ଦେଖିବାକୁ ମିଳିଛି । ସରକାର ସିନା ସ୍କୁଲ ଗୁଡିକୁ ସ୍ମାର୍ଟ କରିଦେଲେ କିନ୍ତୁ ଭିତ୍ତିଭୂମୀକୁ ସଜାଡିବାକୁ ଭୁଲିଗଲେ ବୋଲି ସଚେତନ ନାଗରିକ ମହଲରେ ଆଲୋଚିତ ହେଉଛି । ୫-ଟିରେ ଆସିକା ବ୍ଳକ ଅନ୍ତର୍ଗତ ଗଙ୍ଗାପୁର ଗ୍ରାମ ପଞ୍ଚାୟତର ସୁଦର୍ଶନ ଉଚ୍ଚ ବିଦ୍ୟାଳୟକୁ ରୂପାନ୍ତରିତ କରାଯିବା ପରେ ବାହାର ଚେହେରା ବେଶ୍‍ ସୁନ୍ଦର ଦେଖାଯାଉଥିବା ବେଳେ ବିଦ୍ୟାଳୟର ମୂଳ ଲକ୍ଷ୍ୟ ସାଧିତ ହୋଇପାରୁ ନାହିଁ ବୋଲି ମତ ପ୍ରକାଶ ପାଉଛି । ଜିଲ୍ଲା ପ୍ରଶାସନ ତଥା ଶିକ୍ଷା ବିଭାଗ ଉଚ୍ଚ କତ୍ତୃପକ୍ଷ ତୁରନ୍ତ ଧ୍ୟାନଦେଇ ସରକାରୀ ଅନୁଦାନପ୍ରାପ୍ତ ସୁଦର୍ଶନ ଉଚ୍ଚବିଦ୍ୟାଳୟରେ ଲାଗି ରହିଥିବା ବହୁବିଧ ସମସ୍ୟାକୁ ସମାଧାନ କରିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦୃଢଦାବୀ ହେଉଥିବା ଲକ୍ଷ୍ୟ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ