ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

କଟକ, (ଓ୍ବାଇଏନଏସ):  କଟକ ଜିଲ୍ଲାର ଡମପଡା ବ୍ଲକ୍ ଜାତମୁଣ୍ଡିଆ ସ୍ଥିତ ପଂଚାୟତ ଭବନଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ବହୁ ସଂଖ୍ୟାରେ ଅଭିଯୋଗକାରୀ ସେମାନଙ୍କ ଅଭିଯୋଗ ନେଇ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।ଏହି ଅଭିଯୋଗ ଶୁଣାଣି କାଳରେ ବିିଭିନ୍ନ ସ୍ଥାନରୁ ଆସିଥିବା ଲୋକେ ନିଜର ଅସୁବିଧା ଓ ଦାବିଗୁଡିକ ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିଥିଲେ । ଆଜି ଅଭିଯୋଗ ଶୁଣାଣି ଶିବିରରେ ସମୁଦାୟ ୧୬୬ ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୧୫୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୯ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪୯ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଅନ୍ୟାନ୍ୟ ଅଭିଯୋଗଗୁଡିକ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ନିମେନ୍ତ ଗୋଟିଏ ଆବେଦନ ଗ୍ରହଣ କରାଯାଇଥିବାବେଳେ ରେଡକ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ଗୋଟିଏ ଆବେଦନ ଗ୍ରହଣ କରାଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗ୍ରାମାଂଚଳ ଏସପି ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଳାପାଳ ଶ୍ରୀ ପ୍ରଣବ କୁମାର ବେହେରା ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଶିବିରରେ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ସମ୍ପର୍କରେ ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଭିଯୋଗ ଶୁଣାଣି ସମୟରେ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୩୦ ତାରିଖରେ କଟକ ସଦର ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ