ଶ୍ରୀମନ୍ଦିରରେ ପାଶ୍ୱ ପରିବର୍ତ୍ତନ ଯାତ୍ରା


ସନ୍ତୋଷ କୁମାର ଦାଶ

ପୁରୀ ଶ୍ରୀ ମନ୍ଦିର ରେ ପାଳିତ ହେଉଥିବା ଦ୍ୱାଦଶ ଯାତ୍ରା ମଧ୍ୟରୁ ପାର୍ଶ୍ଵ ପରିବର୍ତ୍ତନ ଯାତ୍ରା ଅନ୍ୟତମ । ଭାଦ୍ରବ ମାସ ଶୁକ୍ଳ ଏକାଦଶୀ ରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ୪ ମାସ ଶୟନ କାଳରେ ୨ ମାସରେ ପାର୍ଶ୍ୱ ପରିବର୍ତ୍ତନ କରିଥାନ୍ତି। ଭାଦ୍ର ଶୁକ୍ଳ ଏକାଦଶୀ ଦିନ ଭୋଗମଣ୍ଡପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯାଏ। ତତ୍ପରେ ପୂଜାପଣ୍ଡା , ପତିମହାପାତ୍ର ଓ ମୁଦିରସ୍ତ ସେବକ ଘଟୁଆରୀ ଘରୁ ଆଣିଥିବା ଚନ୍ଦନ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି। ଏହାପରେ ଶ୍ରୀମଦନମୋହନ ଙ୍କୁ ମହାଜନ ସେବକ ରତ୍ନସିଂହାସନ ବିଜେ କରାଇଥାନ୍ତି ।ସେଠାରେ ମହାପ୍ରଭୁ ଙ୍କ ଠାରୁ ଆଜ୍ଞା ମାଳ ପାଇ ମୁକ୍ତିମଣ୍ଡପ ନିକଟରେ ଥିବା ପାଲିଙ୍କିକୁ ବିଜେ କରିଥାନ୍ତି। ଏହାପରେ ବିମାନ ବଡୁ ସେବକ ଉକ୍ତ ପାଲିଙ୍କି ଟିକୁ ସ୍କନ୍ଧରେ ବହନ କରି ବଡଦେଉଳ କୁ ପରିକ୍ରମା କରି ପୁଣି ମୁକ୍ତିମଣ୍ଡପ ନିକଟରେ ରଖିଥାନ୍ତି। ଏହାପରେ ଶ୍ରୀ ମଦନ ମୋହନ ଜୟ ବିଜୟ ଦ୍ୱାର ନିକଟରେ ବିଜେ କରିଥାନ୍ତି ଓ ସେଠାରେ ଏକାଦଶୀ ଭୋଗ ଏବଂ ବନ୍ଦାପନା ଅନୁଷ୍ଠିତ ହୋଇ ଥାଏ। ତତ୍ପରେ ଶ୍ରୀମଦନମୋହନ ଦକ୍ଷିଣୀ ଘରକୁ ବିଜେ କରିଥାନ୍ତି।
ସାନ୍ଧ୍ୟ ଧୂପ ଶେଷ ହେବା ପରେ ଅନନ୍ତ ପୁରୁଷୋତ୍ତମ ମନ୍ଦିର ଭିତରେ ଦେଉଳ ପୁରୋହିତ ପବିତ୍ର ଅଧିବାସ ନିମନ୍ତେ ଆଚାର୍ଯ୍ୟ ବ୍ରହ୍ମା ବରଣ ହୋଇ ହୋମ କରିଥାନ୍ତି। ବଡ଼ସିଂହାର ବେଶ ଓ ଭୋଗ ଶେଷ ହେବା ପରେ ଖଟ ଶେଜ ଘର ଧୋପଖାଳ ହୋଇ ଦେଉଳ ପୁରୋହିତ ଏହି ଘରେ ପଞ୍ଚ ମୁରୁଜ ରେ ୩ଟି ମଣ୍ଡଳ କାଟିଥାନ୍ତି ଓ ଏହାଉପରେ ପୂର୍ଣ୍ଣ କୁମ୍ଭ ପ୍ରତିଷ୍ଠା କରିଥାନ୍ତି। ଏହାପରେ ଭଣ୍ଡାର ମେକାପ ଏହି ମଣ୍ଡଳ ଉପରେ ୯ ମୂର୍ତ୍ତି ପବିତ୍ରା , କୁର୍ବନ୍ତିମାଳ ୩ମୂର୍ତ୍ତି କୁ ପତନୀ ଘୋଡେଇ ରଖିଥାନ୍ତି। ତତ୍ପରେ ଦେଉଳ ପୁରୋହିତ ବରୁଣ ପୂଜା କରି ଉକ୍ତ ପବିତ୍ରାଟିକୁ ୩ ବାଡ଼ରେ ମନ୍ତ୍ର ଉଚ୍ଚାରଣ କରି ଅଧିବାସ କରାଇବା ପରେ ଖଟ ଶେଜ ଘର ମୁଦ ଦିଆଯାଇଥାଏ। ଭିତର ମଇଲମ ସରି ମହାସ୍ନାନ ସରିବା ପରେ ପାଳିଆ ପୁଷ୍ପାଳକ ନୂଆ ଲୁଗା ଲାଗି କରାଇଥାନ୍ତି। ପୂଜାପଣ୍ଡା , ପତିମହାପାତ୍ର , ମୁଦିରସ୍ତ ପ୍ରମୁଖ ଘଣ୍ଟ , ଛତ୍ର , କାହାଳୀ ରେ ୩ଟି ରୂପା ପିଙ୍ଗଣରେ ଚନ୍ଦନ ବିଜେ କରାଇ ତାହା ଶ୍ରୀଅଙ୍ଗ ରେ ସର୍ବାଙ୍ଗ ଲାଗି କରାଇଥାନ୍ତି। ଏହାପରେ ବଲ୍ଲଭ ବଡ଼ସିଂହାର ବେଶ ହୋଇ ୬ମୂର୍ତ୍ତି ଅଳଙ୍କାର ଲାଗି ହେବା ପରେ ଘଣ୍ଟ , ଛତ୍ର , କାହାଳୀ ସହ ତଳୁଚ୍ଛ ମହାପାତ୍ର ଓ ପ୍ରଧାନୀ ସେବକ ପଟୁଆରରେ ବଲ୍ଲଭ ବଡ଼ସିଂହାର ଭୋଗ ଛାମୁକୁ ଆଣିଥାନ୍ତି। ଶ୍ରୀମନ୍ଦିରରେ ଏହି ଦିନ ୨ ଥର ବଡ଼ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହୋଇଥାଏ।
ଷୋଡଶ ଉପଚାର ପୂଜା ଶେଷ ହୋଇ କର୍ପୁର ଆଳତି ହେବା ପରେ ପର୍ଶ୍ଵପରିବର୍ତ୍ତନ ନୀତି ଅନୁଷ୍ଠିତ ହୋଇଥାଏ। ମୁଦିରସ୍ତ , ବେହେରା ଖୁଣ୍ଟିଆ , ଗରାବଡୁ , ପାଳିଆ ମେକାପ , ଅଖଣ୍ଡ ମେକାପ ଓ ତଢ଼ାଉ କରଣ ସେବକ ଖଟ ଶେଜ ଉପରକୁ ନିଶୁଣି ମାଧ୍ୟମରେ ଯାଇ ମୁଦ ଭାଙ୍ଗିବା ପରେ ଶୟନ ଠାକୁରଙ୍କୁ ପେଡାକୁ ମୁଦିରସ୍ତ ଖୋଲି ଗରାବଡୁ ଠାରୁ ହାତୁଆଣି ନେଇ ରୂପା ପିଙ୍ଗଣରେ ବେହେରା ଖୁଣ୍ଟିଆ ଦେଇଥିବା ଶୁକ୍ଳ ପୁଷ୍ପ ୩ ଥର ପୁଷ୍ପାଞ୍ଜଳି ଦେବାପରେ ଶୟନ ଦେବତାଙ୍କ କଡ଼ ଲେଉଟା ନୀତି କରାଯାଇଥାଏ। ଏହି ସମୟରେ ମୁଦିରସ୍ତ ବନ୍ଦାପନା କରିଥାନ୍ତି। ଏହାପରେ ପେଡା ବନ୍ଦ କରି ଦୁଆରମାନ ମୁଦ ଦେଇ ତଳକୁ ଓହ୍ଲାଇ ଆସିଥାନ୍ତି। ରତ୍ନସିଂହାସନସ୍ଥ ଶ୍ରୀଜୀଉମାନଙ୍କୁ ଲାଗି ହୋଇଥିବା ୬ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ମଇଲମ କରାଯାଇ ବିଡ଼ିଆ , ଘଷା , ପାଇଡ଼ ମଣୋହି କରାଯାଇ ଖଟସେଜ ବିଜେ ପୂର୍ବକ ପହୁଡ଼ ହୋଇଥାଏ। ଜୟ ଜଗନ୍ନାଥ ସ୍ଵାମୀ।

ତୁଳସୀପୁର। ପୁରୀ
୯୪୩୯୩୬୧୮୮୮

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ