ପୋଖରୀ ରେ ବୁଡ଼ି ଯୁବକ ମୃତ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର) : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀ ରେ ବୁଡ଼ି ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଛଣମେରି ଗ୍ରାମ ର ଶିବରାମ ସାମନ୍ତରା(୩୫)।ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୮ ଟାରେ ଶିବରାମ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା। ଏନେଇ ଦମକଳ କେନ୍ଦ୍ର କୁ ଖବର ଦିଆଯାଇଥିଲା।ଅଗ୍ନିଶମ ବାହିନୀ ପୋଖରୀ ରେ ପହଞ୍ଚି ଖୋଜାଖୋଜି କରିବା ପରେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଏତଲା ହେବାପରେ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା ରୁଜୁ କରିଥିଲେ। ପୋଲିସ ଟିମ୍ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ଡାକ୍ତରଖାନା କୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନ ରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


