ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି
କୋରାପୁଟ, (ହେମନ୍ତ ପାଣିଗ୍ରାହୀ) : ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଏହାର ମୁକାବିଲା ତଥା ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା , ଉପ ଜିଲ୍ଲାପାଳ ପାବି ରସିଦ ଏବଂ ପିଏ, ଆଇଟିଡିଏ ସ୍ନେହପ୍ରଭା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଜିଲ୍ଲା ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗଦେଇ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓ ତାହାର ମୁକାବିଲା ନିମନ୍ତେ ଆବଶ୍ୟକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ବିପର୍ଯ୍ୟୟ ସମୟରେ ଯେପରି ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତିର କ୍ଷୟକ୍ଷତିକୁ ସର୍ବନିମ୍ନ ସ୍ତରରେ ରଖାଯାଇପାରିବ, ସେଥିପାଇଁ ବିଭାଗୀୟ ସମନ୍ୱୟ, ସତର୍କତା ଓ ତ୍ୱରିତ ପଦକ୍ଷେପର ଗୁରୁତ୍ୱ ଉପରେ ଆଲୋକପାତ କରାଯାଇଥିଲା। ଏଥିସହ ବାତ୍ୟା ପରିସ୍ଥିତିରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବା ସହ ଆବଶ୍ୟକସ୍ଥଳେ ଉଦ୍ଧାର, ଥଇଥାନ ଓ ଜରୁରୀକାଳୀନ ସହାୟତା ପ୍ରଦାନ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ବିଭାଗ ସଜାଗ ରହିବା ସହ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି ଦାୟିତ୍ୱ ନିର୍ବାହ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।


