ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
କଟକ, (ଓ୍ବାଇଏନଏସ): ଟାଙ୍ଗୀ-ଚୌଦ୍ଵାର ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୮୭ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୬୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୮ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୧୦ଟି ଅଭିଯୋଗର ତ୍ଵରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଳଜିତ୍ ଦାସଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଭତ୍ତା,କୃଷି,ଶିକ୍ଷା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୦୪ ତାରିଖରେ ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।


