ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
କଟକ(ଓ୍ବାଇଏନଏସ) : କଟକ ନିଶ୍ଚିନ୍ତକୋଇଲି ବ୍ଲକ୍ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୬୦ ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୪୯ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୧ଟି ସାମୁହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ୨୮ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଅଭିଯୋଗ ଶୁଣାଣି ସ୍ଥଳରେ , ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ପ୍ରଶାନ୍ତ ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଥିସହ କୃଷି, ଶିକ୍ଷା, ବିଦ୍ୟୁତ, ପାନୀୟ ଜଳ, ଭିନ୍ନକ୍ଷମ ଏବଂ ଅନ୍ୟାନ୍ୟ ଭତ୍ତା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ, ଆସନ୍ତା ଜୁଲାଇ ୧୩ ତାରିଖରେ ବଡ଼ମ୍ବା ବ୍ଲକ୍ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।


