ଜନ ଅଭିଯୋଗ ଶୁଣାଣି
କଟକ,(ଓ୍ବାଇଏନଏସ): ବଡମ୍ବା ପଂଚାୟତ ସମିତି କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୨୫୯ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୨୫୨ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୭ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୩୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।