ଗୁରୁବାର ଯୋଗୁଁ ଉତ୍ସବ ମୁଖର ପୁରପଲ୍ଲୀ

କାକଟପୁର /ଅସ୍ତରଙ୍ଗ (ଶୁଭାଶିଷ ଖଣ୍ଡୁଆଳ): ମାଣବସା  ଗୁରୁବାର । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ  ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା “ଧାନବେଣୀ” ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।ସମଗ୍ର ହିନ୍ଦୁ ସମାଜରେ ଲକ୍ଷ୍ମୀପୂଜା ପ୍ରଚଳିତ, କିନ୍ତୁ ମାର୍ଗଶିର ମାସ ମାଣବସା ଗୁରୁବାର କେବଳ ଓଡିଆ ମାନଙ୍କ ନିଜସ୍ଵ ପର୍ବ । ମାର୍ଗଶିର ମାସ ଗୁରୁବାର ମା ଲକ୍ଷ୍ମୀଙ୍କ ବାର । ଜାତି-ଅଜାତିର ଭେଦ ଭାବ ଏହି ପୂଜାରେ ନାହିଁ । ଏହି ଦିନ ଓଡିଆ ଗୃହିଣୀ ମାନେ ଝୋଟି, ଚିତା, ଧାନଶିଶା, ଆଙ୍ଗୁଳି ଚିତା ଆଦି ପକାଇ ପାରମ୍ପରିକ ଢଙ୍ଗରେ ଘରକୁ ସଜାଇ ଥାନ୍ତି । ଓଡିଆଙ୍କର ସାମାଜିକ ଓ ଆଧ୍ୟାତ୍ମିକ ଚଳଣି ଏଥିରୁ ଜଣା ପଡ଼େ ।ମାଣବସା ଗୁରୁବାର ଦିନ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଲକ୍ଷ୍ମୀ ପୁରାଣ ପାଠ କରିବାର ବିଧି ରହିଛି । ଆଜି ହେଉଛି ମାଣବସା ଗୁରୁବାର  । ଏଥି ପାଇଁ ପୁରୀ ଜିଲ୍ଲା ଅସ୍ତରଙ୍ଗ ଓ କାକଟପୁର ବ୍ଲକର ବିଭିନ୍ନ ଗାଁ ରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।ଗାଁଠୁ ସହର ଚାରିଆଡେ ଉତ୍ସବମୁଖର ପରିବେଶ । ସଧବା ନାରୀ ନିଷ୍ଠାର ସହ ଏହି ବ୍ରତ ପାଳନ କରିଥାନ୍ତି ।ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଘରର ପ୍ରତ୍ୟେକ ଦୁଆର ଅଗଣା କାନ୍ଥରେ ଝୋଟି ଚିତା ପକା ଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧାନ ରଖାଯାଏ । ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ ।ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ ।ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।ଏଥି ପାଈଁ ଅସ୍ତରଙ୍ଗ, କାକଟପୁର ଅଞ୍ଚଳର ପ୍ରତିଟି ଘରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥାଏ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ